ବାଇବଲ · Indian Revised Version (Odia)

ଉପଦେଶକ 9

1 ମୁଁ ଏହିସବୁ ବିଷୟରେ ମନୋନିବେଶ କରି ଅନୁସନ୍ଧାନ କଲି; ଧାର୍ମିକ ଓ ଜ୍ଞାନୀ, ଆଉ ସେମାନଙ୍କ କାର୍ଯ୍ୟ ପରମେଶ୍ୱରଙ୍କ ହସ୍ତଗତ; ଏହା ପ୍ରେମ କି ଘୃଣା, ତାହା ମନୁଷ୍ୟ ଜାଣେ ନାହିଁ; ସବୁ ସେମାନଙ୍କ ସମ୍ମୁଖରେ ଥାଏ।

2 ସବୁ ବିଷୟ ସମସ୍ତଙ୍କ ପ୍ରତି ସମାନ ଘଟେ; ଧାର୍ମିକ ଓ ଦୁଷ୍ଟ, ସୁଶୀଳ, ପୁଣି ଶୁଚି ଓ ଅଶୁଚି; ଯଜ୍ଞକାରୀ ଓ ଅଯଜ୍ଞକାରୀ, ସମସ୍ତଙ୍କ ପ୍ରତି ଏକ ଘଟଣା ହୁଏ; ସୁଶୀଳ ଯେପରି, ପାପୀ ସେପରି; ପୁଣି, ଶପଥକାରୀ ଯେପରି, ଶପଥ ଭୟକାରୀ ସେପରି।

3 ସୂର୍ଯ୍ୟ ତଳେ ଯେତେ କାର୍ଯ୍ୟ କରାଯାଏ, ତହିଁ ମଧ୍ୟରେ ଦୁଃଖର ବିଷୟ ଏହି ଯେ, ସମସ୍ତଙ୍କ ପ୍ରତି ସମାନ ଘଟଣା ହୁଏ; ଆହୁରି ମଧ୍ୟ ମନୁଷ୍ୟ-ସନ୍ତାନଗଣର ହୃଦୟ ଦୁଷ୍ଟତାରେ ପରିପୂର୍ଣ୍ଣ ଓ ବଞ୍ଚିଥିବା ପର୍ଯ୍ୟନ୍ତ ସେମାନଙ୍କ ହୃଦୟରେ ପାଗଳାମି ଥାଏ, ପୁଣି ତହିଁ ଉତ୍ତାରେ ସେମାନେ ମୃତମାନଙ୍କ ନିକଟକୁ ଯାଆନ୍ତି।

4 କାରଣ ଯେଉଁ ଲୋକ ଜୀବିତ ଲୋକସମୂହ ମଧ୍ୟରେ ମିଶ୍ରିତ, ତାହାର ଭରସା ଥାଏ; ଯେହେତୁ ମୃତ ସିଂହ ଅପେକ୍ଷା ଜୀବିତ କୁକ୍କୁର ଭଲ।

5 ଜୀବିତ ଲୋକେ ମରିବେ ବୋଲି ଜାଣନ୍ତି; ମାତ୍ର ମୃତ ଲୋକମାନେ କିଛି ଜାଣନ୍ତି ନାହିଁ, କିଅବା ସେମାନେ ଆଉ କୌଣସି ଫଳ ପାଆନ୍ତି ନାହିଁ; କାରଣ ସେମାନଙ୍କ ବିଷୟକ ସ୍ମରଣ ବିସ୍ମୃତ ହୁଏ।

6 ଯେପରି ସେମାନଙ୍କର ପ୍ରେମ, ସେପରି ସେମାନଙ୍କର ଘୃଣା ଓ ଈର୍ଷା ନଷ୍ଟ ହୁଏ; କିଅବା ସୂର୍ଯ୍ୟ ତଳେ ଯାହା କିଛି କରାଯାଏ, ତହିଁରେ ଅନନ୍ତକାଳ ସେମାନଙ୍କର କୌଣସି ଅଂଶ ନ ଥାଏ।

7 ତୁମ୍ଭେ ଆପଣା ମାର୍ଗରେ ଯାଅ, ଆନନ୍ଦରେ ଆପଣା ଆହାର ଭୋଜନ କର ଓ ହୃଷ୍ଟଚିତ୍ତରେ ଆପଣା ଦ୍ରାକ୍ଷାରସ ପାନ କର; କାରଣ ପରମେଶ୍ୱର ତୁମ୍ଭର କାର୍ଯ୍ୟ ଗ୍ରହଣ କରି ସାରିଲେଣି।

8 ତୁମ୍ଭର ବସ୍ତ୍ର ସର୍ବଦା ଶୁଭ୍ର ଥାଉ ଓ ତୁମ୍ଭ ମସ୍ତକରେ ତୈଳର ଅଭାବ ନ ହେଉ।

9 ସୂର୍ଯ୍ୟ ତଳେ ପରମେଶ୍ୱର ତୁମ୍ଭକୁ ଅସାର ଆୟୁଷର ଯେତେ ଦିନ ଦେଇଅଛନ୍ତି, ତୁମ୍ଭର ସେହି ଅସାର ଆୟୁଷର ସମସ୍ତ ଦିନ ଆପଣା ପ୍ରିୟତମା ଭାର୍ଯ୍ୟା ସଙ୍ଗେ ଆନନ୍ଦରେ ବାସ କର; କାରଣ ଜୀବନ ମଧ୍ୟରେ ଓ ସୂର୍ଯ୍ୟ ତଳେ ତୁମ୍ଭେ ଯେଉଁ ପରିଶ୍ରମ କରୁଅଛ, ସେହି ପରିଶ୍ରମ ମଧ୍ୟରେ ଏହା ହିଁ ତୁମ୍ଭର ଅଂଶ।

10 ତୁମ୍ଭ ହସ୍ତ ଯେକୌଣସି କାର୍ଯ୍ୟ କରିବାକୁ ପାଏ, ତାହା ଆପଣା ଶକ୍ତିରେ କର; କାରଣ ତୁମ୍ଭେ ଯେଉଁ ସ୍ଥାନକୁ ଯାଉଅଛ, ସେହି କବରରେ କୌଣସି କାର୍ଯ୍ୟ, କି କଳ୍ପନା, କି ବିଦ୍ୟା, କି ଜ୍ଞାନ ନାହିଁ।

11 ମୁଁ ଫେରି ସୂର୍ଯ୍ୟ ତଳେ ଦେଖିଲି ଯେ, ଦ୍ରୁତଗାମୀମାନଙ୍କୁ ବାଜି, କି ବୀରମାନଙ୍କୁ ଜୟ, ଅବା ଜ୍ଞାନୀମାନଙ୍କୁ ଅନ୍ନ, କିଅବା ବୁଦ୍ଧିମାନ ଲୋକମାନଙ୍କୁ ଧନ, ଅଥବା ପଣ୍ଡିତମାନଙ୍କୁ ଅନୁଗ୍ରହପ୍ରାପ୍ତ ହୁଏ ନାହିଁ, ମାତ୍ର ସମସ୍ତଙ୍କ ପ୍ରତି ସମୟ ଓ ଆକସ୍ମିକ ଘଟଣା ଘଟେ।

12 କାରଣ ମନୁଷ୍ୟ ମଧ୍ୟ ଆପଣା ମୃତ୍ୟୁର ସମୟ ଜାଣେ ନାହିଁ; ଯେପରି ମତ୍ସ୍ୟଗଣ ଅଶୁଭ ଜାଲରେ ପଡ଼ନ୍ତି ଓ ଯେପରି ପକ୍ଷୀଗଣ ଫାନ୍ଦରେ ଧରାଯାଆନ୍ତି, ସେହିପରି ମନୁଷ୍ୟ-ସନ୍ତାନଗଣ ଅକସ୍ମାତ୍‍ ଉପସ୍ଥିତ ବିପଦ ସମୟରେ ଧରାପଡ଼ନ୍ତି।

13 ମୁଁ ମଧ୍ୟ ସୂର୍ଯ୍ୟ ତଳେ ଏହି ପ୍ରକାର ଜ୍ଞାନ ଦେଖିଅଛି, ଆଉ ତାହା ମୋʼ ଦୃଷ୍ଟିରେ ମହତ୍ ବୋଧ ହେଲା;

14 ଯଥା, ଅଳ୍ପ ଲୋକବିଶିଷ୍ଟ ଏକ କ୍ଷୁଦ୍ର ନଗର ଥିଲା; ଆଉ, ଏକ ମହାରାଜା ତହିଁ ବିରୁଦ୍ଧରେ ଆସି ତାହା ବେଷ୍ଟନ କଲା ଓ ତାହା ବିରୁଦ୍ଧରେ ବଡ଼ ବଡ଼ ଦୁର୍ଗ ନିର୍ମାଣ କଲା।

15 ଏପରି ସମୟରେ ତାହା ମଧ୍ୟରେ ଏକ ଦରିଦ୍ର ଜ୍ଞାନୀ ଲୋକ ଦେଖାଗଲା, ପୁଣି ସେ ଆପଣା ଜ୍ଞାନ ଦ୍ୱାରା ନଗର ରକ୍ଷା କଲା; ତଥାପି ସେହି ଦରିଦ୍ର ଲୋକକୁ କେହି ସ୍ମରଣ କଲା ନାହିଁ।

16 ତେବେ ମୁଁ କହିଲି, “ବଳ ଅପେକ୍ଷା ଜ୍ଞାନ ଉତ୍ତମ; ତଥାପି ଦରିଦ୍ର ଲୋକର ଜ୍ଞାନ ତୁଚ୍ଛୀକୃତ ହୁଏ ଓ ତାହାର ବାକ୍ୟ ଶୁଣାଯାଏ ନାହିଁ।”

17 ମୂର୍ଖମାନଙ୍କ ମଧ୍ୟରେ ଶାସନକାରୀର ଚିତ୍କାର ଅପେକ୍ଷା ଶାନ୍ତରେ କଥିତ ଜ୍ଞାନୀର ବାକ୍ୟ ଅଧିକ ଶୁଣାଯାଏ।

18 ଯୁଦ୍ଧାସ୍ତ୍ର ଅପେକ୍ଷା ଜ୍ଞାନ ଉତ୍ତମ; ମାତ୍ର ଜଣେ ପାପୀ ବହୁ ମଙ୍ଗଳ ନାଶ କରେ।

Indian Revised Version (Odia) — © 2017, 2019, 2021 Bridge Connectivity Solutions — CC BY-SA 4.0