ବାଇବଲ · Indian Revised Version (Odia)
ହିତୋପଦେଶ 26
1 ଯେପରି ଗ୍ରୀଷ୍ମକାଳରେ ହିମ ଓ ଫସଲ ସମୟରେ ବୃଷ୍ଟି, ସେପରି ମୂର୍ଖକୁ ସମ୍ମାନ ଅନୁପଯୁକ୍ତ।
2 ଯେପରି ଘରଚଟିଆ ଭ୍ରମଣ କରୁଥିବା ବେଳେ ଓ ତାଳଚୋଞ୍ଚ ଉଡ଼ୁଥିବା ବେଳେ, ସେପରି ଅକାରଣରେ ଦତ୍ତ ଅଭିଶାପ ନିକଟକୁ ଆସେ ନାହିଁ।
3 ଅଶ୍ୱ ପାଇଁ କୋରଡ଼ା ଗର୍ଦ୍ଦଭ ପାଇଁ ଲଗାମ, ପୁଣି, ମୂର୍ଖର ପିଠି ପାଇଁ ବାଡ଼ି।
4 ମୂର୍ଖକୁ ତାହାର ଅଜ୍ଞାନତାନୁସାରେ ଉତ୍ତର ଦିଅ ନାହିଁ, ଦେଲେ ତୁମ୍ଭେ ମଧ୍ୟ ତାହାର ସମାନ ହେବ।
5 ମୂର୍ଖକୁ ତାହାର ଅଜ୍ଞାନତାନୁସାରେ ଉତ୍ତର ଦିଅ, ନୋହିଲେ ସେ ଆପଣା ଦୃଷ୍ଟିରେ ଆପଣାକୁ ଜ୍ଞାନୀ ବୋଧ କରିବ।
6 ମୂର୍ଖ ହାତରେ ଯେ ସମାଚାର ପଠାଏ, ସେ ଆପଣା ପାଦ ଆପେ କାଟି କ୍ଷତି ଭୋଗ କରେ।
7 ନେଙ୍ଗଡ଼ାର ଚରଣ ଯେପରି ନଡ଼ନଡ଼, ଅଜ୍ଞାନର ମୁଖରେ ସେପରି ହିତୋପଦେଶ ବାକ୍ୟ।
8 ଯେପରି ପ୍ରସ୍ତରରାଶିରେ ମଣିର ଥଳୀ, ସେପରି ସେ, ଯେ ମୂର୍ଖକୁ ସମ୍ମାନ ଦିଏ।
9 ମତ୍ତ ଲୋକର ହସ୍ତରେ ଉଠାଯିବା କଣ୍ଟକ ଯେପରି, ମୂର୍ଖମାନଙ୍କ ମୁଖରେ ହିତୋପଦେଶ ବାକ୍ୟ ସେପରି।
10 ବାଣୁଆ ଯେପରି ସମସ୍ତଙ୍କୁ କ୍ଷତବିକ୍ଷତ କରେ, ସେପରି ସେହି ଲୋକ, ଯେ ମୂର୍ଖକୁ ବେତନ ଦିଏ ଓ ଯେ ପଥିକକୁ ବେତନ ଦିଏ।
11 ଆପଣା ବାନ୍ତି ପ୍ରତି ଫେରିବା କୁକ୍କୁର ଯେପରି, ପୁନଃ ପୁନଃ ଆପଣା ଅଜ୍ଞାନତାର କର୍ମ କରିବା ମୂର୍ଖ ସେପରି।
12 ଯେ ଆପଣା ଦୃଷ୍ଟିରେ ଜ୍ଞାନୀ, ଏପରି ଲୋକକୁ ଦେଖୁଅଛ କି? ତାହା ଅପେକ୍ଷା ମୂର୍ଖ ବିଷୟରେ ଅଧିକ ଭରସା ଅଛି।
13 ଅଳସୁଆ କହେ, “ବାଟରେ ସିଂହ ଅଛି, ସଡ଼କରେ ସିଂହ ଅଛି।”
14 ଯେପରି କବ୍ଜାରେ କବାଟ ବୁଲେ, ସେପରି ଅଳସୁଆ ଆପଣା ଶଯ୍ୟାରେ ଥାଇ କରେ।
15 ଅଳସୁଆ ଥାଳୀରେ ହାତ ବୁଡ଼ାଇ ଆଉ ଥରେ ତାହା ମୁଖକୁ ନେବାକୁ ଥକିଯାଏ।
16 ସାତ ଜଣ ସୁବିଚାରସିଦ୍ଧ ଉତ୍ତରକାରୀ ଅପେକ୍ଷା ଅଳସୁଆ ଆପଣା ଦୃଷ୍ଟିରେ ଜ୍ଞାନବାନ।
17 ଯେଉଁ ଲୋକ ପଥରେ ଯାଉ ଯାଉ ଆପଣାର ଅସମ୍ପର୍କୀୟ ବିବାଦରେ ରାଗାନ୍ୱିତ ହୁଏ, ସେ କୁକ୍କୁର କାନ ଧରିବା ଲୋକ ତୁଲ୍ୟ।
18 ଅଗ୍ନିବାଣ, ତୀର ଓ ମୃତ୍ୟୁୁ ନିକ୍ଷେପକାରୀ ବାତୁଳ ଯେପରି;
19 ଆପଣା ପ୍ରତିବାସୀକୁ ଯେଉଁ ଲୋକ ଭୁଲାଇ କହେ, “ମୁଁ କʼଣ କୌତୁକ କରୁ ନାହିଁ?” ସେ ସେପରି।
20 କାଷ୍ଠ ଶେଷ ହେଲେ ଅଗ୍ନି ଲିଭିଯାଏ, କର୍ଣ୍ଣେଜପ ନ ଥିଲେ କଳି ନିବୃତ୍ତ ହୁଏ।
21 ଯେପରି ଜ୍ୱଳନ୍ତା ଅଙ୍ଗାରକୁ ଅଙ୍ଗାର ଓ ଅଗ୍ନିକୁ କାଷ୍ଠ, ସେପରି ବିବାଦ ବଢ଼ାଇବାକୁ କଳିହୁଡ଼ା ଲୋକ।
22 କର୍ଣ୍ଣେଜପର ବାକ୍ୟ ଅମୃତ ତୁଲ୍ୟ, ତାହା ଉଦରର ଅନ୍ତରାଳୟକୁ ଚାଲିଯାଏ।
23 ଅନୁରାଗୀ ଓଷ୍ଠ ଓ ମନ୍ଦ ହୃଦୟ ରୂପା ଖାଦରେ ମଣ୍ଡିତ ମୃତ୍ତିକା ପାତ୍ର ତୁଲ୍ୟ।
24 ଘୃଣାକାରୀ ଆପଣା ଓଷ୍ଠରେ କପଟ କରେ, ମାତ୍ର ମନରେ ପ୍ରବଞ୍ଚନା ରଖେ।
25 ସେ ମିଷ୍ଟ ସ୍ୱରରେ କହିଲେ, ତାହାକୁ ବିଶ୍ୱାସ କର ନାହିଁ, ଯେହେତୁ ତାହାର ହୃଦୟରେ ସାତୋଟି ଘୃଣ୍ୟ ବିଷୟ ଥାଏ।
26 ତାହାର ଘୃଣା କପଟରେ ଆପଣାକୁ ଆବୃତ କଲେ ହେଁ ତାହାର ମନ୍ଦତା ସଭାରେ ପ୍ରକାଶ ପାଇବ।
27 ଯେ ଖାତ ଖୋଳେ, ସେ ଆପେ ତହିଁ ଭିତରେ ପଡ଼ିବ; ପୁଣି, ଯେ ପଥର ଗଡ଼ାଏ, ତାହା ତାହାର ଉପରକୁ ନେଉଟିବ।
28 ମିଥ୍ୟାବାଦୀ ଜିହ୍ୱା ଯାହାକୁ ଚୂର୍ଣ୍ଣ କରେ, ତାହାକୁ ହିଁ ଘୃଣା କରେ; ପୁଣି, ଚାଟୁବାଦୀ ମୁଖ ସର୍ବନାଶ ଜନ୍ମାଏ।
Indian Revised Version (Odia) — © 2017, 2019, 2021 Bridge Connectivity Solutions — CC BY-SA 4.0