ବାଇବଲ · Indian Revised Version (Odia)
ହିତୋପଦେଶ 9
1 ଜ୍ଞାନ ଆପଣା ଗୃହ ନିର୍ମାଣ କରିଅଛି, ସେ ତାହାର ସପ୍ତସ୍ତମ୍ଭ ଖୋଳିଅଛି;
2 ସେ ଆପଣା ପଶୁସବୁ ବଧ କରିଅଛି; ସେ ଆପଣା ଦ୍ରାକ୍ଷାରସ ମିଶ୍ରିତ କରିଅଛି; ସେ ଆପଣା ମେଜ ମଧ୍ୟ ସଜାଇଅଛି।
3 ସେ ଆପଣା ଦାସୀମାନଙ୍କୁ ପଠାଇଅଛି, ସେ ନଗରର ସର୍ବୋଚ୍ଚ ସ୍ଥାନରୁ ଡାକି କହେ,
4 “ଯେଉଁ ଜଣ ଅବୋଧ, ସେ ଏଠାକୁ ଆସୁ;” ପୁଣି, ଯେଉଁ ଜନ ନିର୍ବୋଧ, ତାହାକୁ ସେ କହେ,
5 “ଆସ, ମୋହର ଭକ୍ଷ୍ୟ ଭୋଜନ କର ଓ ମୋହର ମିଶ୍ରିତ ଦ୍ରାକ୍ଷାରସ ପାନ କର।
6 ହେ ଅବୋଧ ଲୋକମାନେ, ଅବୋଧମାନଙ୍କର ସଙ୍ଗ ପରିତ୍ୟାଗ କରି ଜୀବନ ରକ୍ଷା କର; ପୁଣି, ସୁବିବେଚନାର ପଥରେ ଚାଲ।”
7 ଯେ ନିନ୍ଦକକୁ ଶିକ୍ଷା ଦିଏ, ସେ ଆପେ ଲଜ୍ଜା ପାଏ; ପୁଣି, ଯେ ଦୁଷ୍ଟକୁ ଅନୁଯୋଗ କରେ, ସେ ନିଜେ କଳଙ୍କ ପାଏ।
8 ନିନ୍ଦକକୁ ଅନୁଯୋଗ କର ନାହିଁ, କଲେ, ସେ ତୁମ୍ଭକୁ ଘୃଣା କରିବ, ଜ୍ଞାନୀକୁ ଅନୁଯୋଗ କର, ତହିଁରେ ସେ ତୁମ୍ଭକୁ ପ୍ରେମ କରିବ।
9 ଜ୍ଞାନୀକୁ ଉପଦେଶ ଦେଲେ, ସେ ଆହୁରି ଜ୍ଞାନବାନ ହେବ, ପୁଣି, ଧାର୍ମିକକୁ ଶିକ୍ଷା ଦେଲେ, ତାହାର ପାଣ୍ଡିତ୍ୟ ବୃଦ୍ଧି ପାଇବ।
10 ସଦାପ୍ରଭୁଙ୍କ ବିଷୟକ ଭୟ ଜ୍ଞାନର ଆରମ୍ଭ, ପୁଣି, ଧର୍ମସ୍ୱରୂପଙ୍କ ବିଷୟକ ଜ୍ଞାନ ହିଁ ସୁବିବେଚନା ଅଟେ।
11 ଯେହେତୁ ମୋʼ ଦ୍ୱାରା ତୁମ୍ଭର ଦିନ ବୃଦ୍ଧି ପାଇବ, ପୁଣି, ତୁମ୍ଭ ଆୟୁର ବର୍ଷ ବଢ଼ିବ।
12 ତୁମ୍ଭେ ଜ୍ଞାନୀ ହେଲେ, ଆପଣା ନିମନ୍ତେ ଜ୍ଞାନୀ ହେବ; ଯଦି ନିନ୍ଦା କର, ଆପେ ତାହା ବୋହିବ।
13 ଅଜ୍ଞାନା ସ୍ତ୍ରୀଲୋକ କଳିହୁଡ଼ୀ; ସେ ଅବୋଧ ଓ କିଛି ଜାଣେ ନାହିଁ।
14 ସେ ଆପଣା ଗୃହର ଦ୍ୱାର ନିକଟରେ ଓ ନଗରର ଉଚ୍ଚସ୍ଥାନରେ ଆସନ ପାରି ବସେ।
15 ସେ ନିକଟ ଦେଇ ନିଜ ନିଜ ପଥରେ ସଳଖେ ଯିବାର ପଥିକମାନଙ୍କୁ ଡାକି କହେ,
16 “ଯେ ଅବୋଧ, ସେ ଏଠାକୁ ଆସୁ” ବୁଦ୍ଧିହୀନ ଲୋକକୁ ସେ ଏହି କଥା କହେ,
17 “ଚୌର୍ଯ୍ୟଜଳ ମିଷ୍ଟ ଓ ଗୋପନ ଅନ୍ନ ସୁସ୍ୱାଦୁ।”
18 ମାତ୍ର ସେହି ଲୋକ ଜାଣେ ନାହିଁ ଯେ, ମୃତ ଲୋକମାନେ ସେଠାରେ ଥାʼନ୍ତି, ପୁଣି, ତାହାର ନିମନ୍ତ୍ରିତଗଣ ପାତାଳର ଗଭୀର ସ୍ଥାନରେ ଅଛନ୍ତି।
Indian Revised Version (Odia) — © 2017, 2019, 2021 Bridge Connectivity Solutions — CC BY-SA 4.0